ଏଫିସୀୟ 1
1
ଅଭିବାଦନ
1ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ଵାସୀମାନଙ୍କ ନିକଟକୁ ଲେଖୁଅଛି।
2ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
ଖ୍ରୀଷ୍ଟଙ୍କଠାରେ ନିହିତ ଆତ୍ମିକ ଆଶୀର୍ବାଦ
3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ଵାରା ସ୍ଵର୍ଗରେ ଆଶୀର୍ବାଦ କରିଅଛନ୍ତି,
4ଅର୍ଥାତ୍, ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
5ପୁଣି, ସେ ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ଵଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ,
6ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ଵାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
7ତାହାଙ୍କ ଅନୁଗ୍ରହରୂପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ମୁକ୍ତି, ଅର୍ଥାତ୍, ଅପରାଧସବୁରୁ କ୍ଷମା ପ୍ରାପ୍ତ ହୋଇଅଛୁ।
8ସେହି ଅନୁଗ୍ରହ, ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
9ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ଵ ଜ୍ଞାତ କରାଇ ଅଛନ୍ତି,
10ଯେପରି କାଳର ପୂର୍ଣ୍ଣତା ସମ୍ଵନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ଵର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
11ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ଵରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ଵର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୂର୍ବରୁ ନିରୂପିତ ହେଲୁ,
12ଯେପରି ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
13ତାହାଙ୍କଠାରେ ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍, ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ଵାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ଵାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
14ଈଶ୍ଵରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ଵର ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନା ସ୍ଵରୂପ।
ପାଉଲଙ୍କ ପ୍ରାର୍ଥନା
15ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ଵାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
16ସେଥିର ସମ୍ଵାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷା; ହେଉ ନାହିଁ
17ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ଵର, ଗୌରବମୟ ପିତା, ତାହାଙ୍କ ସମ୍ଵନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
18ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ତାହାଙ୍କ ଆହ୍ଵାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
19ପୁଣି ବିଶ୍ଵାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ଵ କଅଣ, ଏହିସବୁ ଜାଣି ପାର;
20ସେହି ଶକ୍ତି ସେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ଵ, ପୁଣି ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
21ସେସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ଵର୍ଗରେ ଆପଣା ଦକ୍ଷିଣ ପାର୍ଶ୍ଵରେ ଉପବେଶନ କରାଇଲେ,
22ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକ ସ୍ଵରୂପେ ମଣ୍ତଳୀକୁ ଦାନ କଲେ;
23ସେହି ମଣ୍ତଳୀ ତାହାଙ୍କ ଶରୀର ସ୍ଵରୂପ, ଅର୍ଥାତ୍, ଯେ ସମସ୍ତ ବିଷୟକୁ ସର୍ବତୋ ଭାବରେ ପୂର୍ଣ୍ଣ କରନ୍ତି, ତାହାଙ୍କର ପୂର୍ଣ୍ଣତା,।
Currently Selected:
ଏଫିସୀୟ 1: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.