Bible App logo
Search Icon

ଯିଶାଇୟ 55

55
ଈଶ୍ଵରଙ୍କ କରୁଣା
1ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
2ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
3କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
4ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।
5ଦେଖ, ଯେଉଁ ଗୋଷ୍ଠୀକି ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ଵାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ଵିତ କରିଅଛନ୍ତି ।
6ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
7ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ଵରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
8ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।
9କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।
10ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକି ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକି ବୀଜ ଓ ଭୋଜନକାରୀକି ଭକ୍ଷ୍ୟ ଦିଏନ୍ତ
11ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବ ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।
12ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତ-ଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ଵରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
13କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ଵରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନ ସ୍ଵରୂପ ହେବ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in