YouVersion Logo
Search Icon

ମାଥିଉ 20

20
ଦ୍ରାକ୍ଷାକ୍ଷେତ୍ରର ମୂଲିଆ
1କାରଣ ସ୍ଵର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ପ୍ରଭାତ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।
2ଆଉ, ସେ ମୂଲିଆମାନଙ୍କ ସହିତ ଦିନକୁ ଆଠ ଅଣା ମୂଲ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।
3ପୁଣି, ପ୍ରାୟ ନଅଟା ସମୟରେ ସେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
4ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି ଯାହା ନ୍ୟାଯ୍ୟ, ତାହା ତୁମ୍ଭମାନଙ୍କୁ ଦେବି; ଆଉ, ସେମାନେ ଗଲେ।
5ପୁନଶ୍ଚ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।
6ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?
7ସେମାନେ ତାହାଙ୍କୁ କହିଲେ, କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।
8ପରେ ସନ୍ଧ୍ୟା ହୁଅନ୍ତେ, ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।
9ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଆଠ ଅଣା ଲେଖାଏଁ ପାଇଲେ।
10ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଆଠ ଅଣା ଲେଖାଏଁ ପାଇଲେ।
11କିନ୍ତୁ ତାହା ପାଇ ସେମାନେ ଗୃହକର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
12ଏହି ଶେଷର ଲୋକମାନେ ଘଣ୍ଟାଏମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳିପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।
13କିନ୍ତୁସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋʼ ସାଙ୍ଗରେ ଆଠ ଅଣାଟିଏ ଚୁକ୍ତି କରି ନ ଥିଲୁ?
14ତୋର ଯାହା, ତାହା ଘେନି ଚାଲିଯା, କିନ୍ତୁ ଏହି ଶେଷ ଲୋକକୁ ସୁଦ୍ଧା ତୋʼ ପରି ଦେବା ପାଇଁ ମୋହର ଇଚ୍ଛା।
15ନିଜ ସମ୍ପତ୍ତିକି ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?
16ସେହିପରି ଶେଷରେ ଥିବା ଲୋକେ ପ୍ରଥମ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ତୃତୀୟ ଥର ସୂଚନା
17ଯୀଶୁ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ଵାଦଶଙ୍କୁ ଅନ୍ତର କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
18ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀ-ମାନଙ୍କ ହସ୍ତରେ ସମର୍ପିତ ହେବେ,
19ପୁଣି ସେମାନେ ତାହାଙ୍କୁ ପ୍ରାଣଦଣ୍ତାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉତ୍ଥିତ ହେବେ।
ଜଣେ ମାଆର ଅନୁରୋଧ
20ସେତେବେଳେ ଜେବଦୀଙ୍କ ପୁତ୍ରମାନଙ୍କ ମାତା ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ।
21ସେଥିରେ ସେ ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଇଚ୍ଛା କରୁଅଛ? ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ଵରେ ଓ ଅନ୍ୟ ଜଣେ ବାମ ପାର୍ଶ୍ଵରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
22କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର?
23ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ଵରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ଵାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।
24ଅନ୍ୟ ଦଶ ଜଣ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ।
25କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ବିଜାତିମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ମହାନ୍ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ।
26ତୁମ୍ଭମାନଙ୍କ ମଧ୍ୟରେ ସେ ପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ୍ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,ଣଣପ୍ର.ପିତ. ୫:୩
27ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ,
28ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟସ୍ଵରୂପ ପ୍ରାଣ ଦେବାକୁ ଆସିଅଛନ୍ତି।
ଦୁଇ ଜଣ ଅନ୍ଧଙ୍କୁ ଦୃଷ୍ଟି ଦାନ
29ସେମାନେ ଯିରୀଖୋରୁ ବାହାରିଯିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।
30ଆଉ ଦେଖ, ପଥ ପାର୍ଶ୍ଵରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚ ସ୍ଵର କରି କହିଲେ, ହେ ପ୍ରଭୁ, ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
31ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚ ସ୍ଵର କରି କହିଲେ, ହେ ପ୍ରଭୁ, ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
32ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?
33ସେମାନେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ।
34ଆଉ, ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ତତ୍କ୍ଷଣାତ୍ ସେମାନେ ଦୃଷ୍ଟି ପାଇ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।

Highlight

Share

Compare

Copy

None

Want to have your highlights saved across all your devices? Sign up or sign in