ଗୀତସଂହିତା 102
102
ଜଣେ ନିପୀଡ଼ିତ ବ୍ୟକ୍ତିର ପ୍ରାର୍ଥନା
ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।
1ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୁକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।
2ମୋʼ ସଙ୍କଟ ଦିନରେ ମୋʼଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।
3କାରଣ ମୋʼ ଦିନସବୁ ଧୂଆଁ ପରି କ୍ଷୟ ପାଏ
ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
4ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।
5ମୋହର ହାହାକାର ଶଦ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।
6ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।
7ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;
8ମୋʼ ଶତ୍ରୁମାନେ ଦିନଯାକ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ ରାଗାନ୍ଧ ଲୋକମାନେ ମୋʼ ନାମ ନେଇ ଶାପ ଦିଅନ୍ତି।
9କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।
10ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।
11ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।
12ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।
13ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
14ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।
15ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜଗଣ ତୁମ୍ଭ ମହିମାକୁ ଭୟ କରିବେ।
16କାରଣ ସଦାପ୍ରଭୁ ସିୟୋନକୁ ପୁନର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
17ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
18ଏହା ଭବିଷ୍ୟଦ ବଂଶ ନିମନ୍ତେ ଲିଖିତ ହେବ;
ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।
19କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
20ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ଵର୍ଗରୁ ପୃଥିବୀକି ଅବଲୋକନ କଲେ;
21ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
22ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;
23ସେ ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।
24ମୁଁ କହିଲି, ହେ ମୋହର ପରମେଶ୍ଵର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ;
25ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ତଳ ତୁମ୍ଭର ହସ୍ତକୃତ କର୍ମ।
26ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ;
ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
27ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବର୍ଷର ଶେଷ ହେବ ନାହିଁ।
28ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।
Currently Selected:
ଗୀତସଂହିତା 102: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.