ରୋମୀୟ 13
13
ଶାସନକର୍ତ୍ତାଙ୍କ ପ୍ରତି ଆନୁଗତ୍ୟ
1ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ। 2ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ। 3କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ, 4କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି। 5ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ। 6ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି। 7ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
ପ୍ରେମ ଦ୍ୱାରା ବ୍ୟବସ୍ଥାର ସଫଳତା
8ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି। 9କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। 10ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ। 11ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ। 12ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ। 13ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ। 14ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।
Currently Selected:
ରୋମୀୟ 13: IRVOry
Highlight
Copy
Compare
Share
Want to have your highlights saved across all your devices? Sign up or sign in
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.