ଯୋହନ 17
17
ଯୀଶୁଙ୍କ ମହାଯାଜକୀୟ ପ୍ରାର୍ଥନା
1ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ,
“ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି, 2ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ। 3ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ। 4ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି। 5ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”
ଯୀଶୁ ଆପଣା ଶିଷ୍ୟମାନଙ୍କ ନିମନ୍ତେ ପ୍ରାର୍ଥନା କରନ୍ତି
6 “ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି। 7ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହିସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି; 8କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି। 9ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର; 10ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି। 11ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି। 12ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।” 13“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି। 14ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି। 15ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି। 16ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି। 17ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ। 18ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି। 19ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”
ଯୀଶୁ ସମସ୍ତ ବିଶ୍ୱାସୀମାନଙ୍କ ନିମନ୍ତେ ପ୍ରାର୍ଥନା କରନ୍ତି
20 “ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,
21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ। 22ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; 23ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ। 24ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା। 25ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି; 26ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”
S'ha seleccionat:
ଯୋହନ 17: IRVOry
Subratllat
Copia
Compara
Comparteix
Vols que els teus subratllats es desin a tots els teus dispositius? Registra't o inicia sessió
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.