ଆଦି ପୁସ୍ତକ 11

11
ବାବିଲ ଗଡ଼
1ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା।
2ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
3ଅନନ୍ତର ସେମାନେ ପରସ୍ପର କହିଲେ, ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ। ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ଵରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ଵରୂପ ହେଲା।
4ପୁଣି ସେମାନେ କହିଲେ, ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।
5ଅନନ୍ତର ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
6ପୁଣି ସଦାପ୍ରଭୁ କହିଲେ, ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରୁ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
7ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।
8ଏହିରୂପେ ସଦାପ୍ରଭୁ ସେସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
9ଏନିମନ୍ତେ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେ ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି ସେ ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
ଶେମଙ୍କ ବଂଶାବଳୀ
10ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
11ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
12ପୁଣି ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
13ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରିଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
14ପୁଣି ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।
15ଏବରର ଜନ୍ମ ଉତ୍ତାରେ ଶେଲହ ଚାରିଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
16ପୁଣି ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗକୁ ଜାତ କଲା।
17ପେଲଗର ଜନ୍ମ ଉତ୍ତାରେ ଏବର ଚାରିଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
18ପେଲଗ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା।
19ରୀୟୂର ଜନ୍ମ ଉତ୍ତାରେ ପେଲଗ ଦୁଇଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
20ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।
21ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
22ପୁଣି ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।
23ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
24ପୁଣି ନାହୋର ଊନତ୍ରିଂଶ ବର୍ଷ ବୟସରେ ତେରହକୁ ଜାତ କଲା।
25ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣାଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
26ପୁଣି ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।
ତେରହଙ୍କ ବଂଶାବଳୀ
27ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି ସେହି ହାରଣ ଲୋଟକୁ ଜାତ କଲା;
28ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର ନାମକ ଆପଣା ଜନ୍ମଦେଶରେ ମଲା।
29ଅନନ୍ତର ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍‍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍‍କା ଓ ଯିସ୍କାର ପିତା।
30ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
31ଅନନ୍ତର ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂକୁ ସଙ୍ଗରେ ନେଲା; ଆଉ ସେସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
32ପୁଣି ତେରହ ହାରଣ ନଗରରେ ଥାଇ ଦୁଇଶହ ପାଞ୍ଚ ବର୍ଷ ବୟସରେ ମଲା।

اکنون انتخاب شده:

ଆଦି ପୁସ୍ତକ 11: ODIAOV-BSI

های‌لایت

کپی

مقایسه

به اشتراک گذاشتن

None

می خواهید نکات برجسته خود را در همه دستگاه های خود ذخیره کنید؟ برای ورودثبت نام کنید یا اگر ثبت نام کرده اید وارد شوید