Logo YouVersion
Îcone de recherche

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1

1
ସୃଷ୍ଟିର ବିବରଣ
1ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। 2ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। 3ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। 4ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। 5ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା। 6ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” 7ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। 8ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। 9ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। 10ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ। 11ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। 12ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। 13ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା। 14ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। 15ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। 16ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। 17ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ, 18ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। 19ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା। 20ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” 21ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। 22ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” 23ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା। 24ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। 25ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। 26ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” 27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। 28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” 29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। 30ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। 31ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।

Surbrillance

Partager

Copier

None

Tu souhaites voir tes moments forts enregistrés sur tous tes appareils? Inscris-toi ou connecte-toi

YouVersion utilise des cookies pour personnaliser votre expérience. En utilisant notre site Web, vous acceptez l'utilisation des cookies comme décrit dans notre Politique de confidentialité