ପ୍ରେରିତ 17

17
ଥେସଲନୀକୀରେ କାର୍ଯ୍ୟ
1ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।
2ଆଉ, ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି ତିନି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
3ପୁଣି, ଖ୍ରୀଷ୍ଟଙ୍କର ଯେ ମୃତ୍ୟୁଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ।
4ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ଵାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ଵୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
5କିନ୍ତୁ ଯିହୁଦୀମାନେ ଈର୍ଷାରେ ଜ୍ଵଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ତଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।
6ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ଭାଇଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ଵରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।
7ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।
8ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ଉଦ୍ବିଗ୍ନ ହେଲେ।
9ପରେ ସେମାନେ ଯାସୋନ ଓ ତାଙ୍କ ସଙ୍ଗୀମାନଙ୍କ-ଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।
ବେରୟାରେ କାର୍ଯ୍ୟ
10ପୁଣି, ଭାଇମାନେ ଅବିଳମ୍ଵରେ ପାଉଲ ଓ ଶୀଲାଙ୍କୁ ରାତ୍ରିକାଳରେ ବେରୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।
11ଥେସଲନୀକୀରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି ଏହିସମସ୍ତ ସତ୍ୟକି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
12ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ଵାସ କଲେ।
13କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୁଦୀମାନେ ଜାଣିଲେ ଯେ, ଈଶ୍ଵରଙ୍କ ବାକ୍ୟ ପାଉଲଙ୍କ ଦ୍ଵାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ଉଦ୍ବିଗ୍ନ କଲେ।
14ସେଥିରେ ଭାଇମାନେ ଅବିଳମ୍ଵରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।
15କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାଙ୍କୁ ଏଥେନ୍ସ୍ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।
ଏଥେନ୍ସ୍ରେ ପାଉଲଙ୍କ କାର୍ଯ୍ୟ
16ଆଥୀନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।
17ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀ-ମତାବଲମ୍ଵୀ ବିଜାତୀୟମାନଙ୍କ ସହିତ, ଆଉ ବଜାର-ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।
18ସେଥିରେ ଏପିକୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
19ପରେ ସେମାନେ ତାଙ୍କୁ ଆରୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କʼଣ ବୋଲି ଆମ୍ଭେମାନେ ଜାଣି ପାରିବା କି?
20କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ, ଏହିସମସ୍ତ କଥାର ଅର୍ଥ କʼଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ।
21ଆଥୀନୀୟ ଲୋକସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳ କ୍ଷେପଣ କରୁ ନ ଥିଲେ।
ଆରୟପାଗରେ ପାଉଲଙ୍କ ପ୍ରଚାର
22ଏଥିରେ ପାଉଲ ଆରୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥୀନୀୟ ଲୋକମାନେ, ଆପଣମାନେ ଯେସମସ୍ତ ବିଷୟରେ ବଡ଼ ଦେବଭକ୍ତ, ଏହା ମୁଁ ଦେଖୁଅଛି।
23କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜ୍ୟ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।ʼ ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।
24ଯେଉଁ ଈଶ୍ଵର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ଵର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
25କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ଵାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ଵୟଂ ସମସ୍ତଙ୍କୁ ଜୀବନ, ନିଶ୍ଵାସ ଓ ସମସ୍ତ ପଦାର୍ଥ ଦାନ କରନ୍ତି।
26ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
27ସେମାନେ ଯେପରି ଈଶ୍ଵରଙ୍କର ଅନ୍ଵେଷଣ କରି କାଳେ ଦରାଣ୍ତି ଦରାଣ୍ତି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।
28କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”
29ତେବେ, ଆମ୍ଭେମାନେ ଈଶ୍ଵରଙ୍କର ବଂଶ ହେବାରୁ ଈଶ୍ଵରଙ୍କ ସ୍ଵରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ଵର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ଜ୍ଞାନ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।
30ଈଶ୍ଵର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
31କାରଣ ଯେଉଁଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ଵାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏ ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
32ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
33ଏହିପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ।
34କିନ୍ତୁ କୌଣସି କୌଣସି ଲୋକ ତାଙ୍କ ସପକ୍ଷ ହୋଇ ବିଶ୍ଵାସ କଲେ; ସେମାନଙ୍କ ମଧ୍ୟରେ ଆରୟ-ପାଗୀୟ ଦୀୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ଓ ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।

Vurgu

Kopyala

Karşılaştır

Paylaş

None

Önemli anlarınızın tüm cihazlarınıza kaydedilmesini mi istiyorsunuz? Kayıt olun ya da giriş yapın

ପ୍ରେରିତ 17 için video